ଭି କେ ପାଣ୍ଡିଆନ୍ ବିଜେଡିରେ ଯୋଗଦେଲେ

ଭୁବନେଶ୍ଵର : କଳ୍ପନାଜଳ୍ପନାର ଅନ୍ତ ଘଟିଲା। ୫ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍ ଆଜି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜୁ ଜନତା ଦଳରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି।

ଖବର ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଶ୍ରୀ ପାଣ୍ଡିଆନ୍ ଆଇଏଏସ୍ ଚାକିରିରୁ ସ୍ଵେଚ୍ଛାକୃତ ଅବସର ନେବା ପରେ ମୁଖ୍ୟମନ୍ତ୍ରୀ ତାଙ୍କୁ ନବୀନ ଓଡ଼ିଶା ଓ ୫ଟି ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଥିଲେ। କିଛିଦିନ ହେଲା ଚର୍ଚ୍ଚା ହେଉଥିଲା ସେ କାର୍ତ୍ତିକ ପୂର୍ଣ୍ଣମୀ ଦିନ ବିଜୁ ଜନତା ଦଳରେ ଯୋଗଦେବେ। ‌ଗତକାଲି ଦଳର ବରିଷ୍ଠ ନେତାଙ୍କୁ ନବୀନ ନିବାସ ଆସିବାକୁ ଫୋନ୍ ଯିବା ଓ ଶଂଙ୍ଖ ଭବନରେ ବିଶେଷ ବୈଠକର ଆହ୍ଵାନ ଦିଆଯିବା ନିଶ୍ଚିତ କରିଥିଲା‌ ଶ୍ରୀ ପାଣ୍ଡିଆନ୍ ପ୍ରତ୍ୟକ୍ଷ ରାଜନୀତିକୁ ଓହ୍ଲାଉଛନ୍ତି। ସୋମବାର ପୂର୍ବାହ୍ଣ ୧୦.୧୫ ମିନିଟରେ ସେ ନବୀନ ନିବାସରେ ଦଳର କିଛି ବରିଷ୍ଠ ନେତାଙ୍କ ଉପସ୍ଥିତି‌ରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଦଛୁଇଁ ଆଶୀର୍ବାଦ ନେଇ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି। ପୁରୀ ସାଂସଦ ତଥା ବିଜେଡିର ବରିଷ୍ଠ ନେତା ପିନାକୀ ମିଶ୍ର ଗଣମାଧ୍ୟମକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ଏହି ଅବସରରେ ଉପସ୍ଥିତ ବିଜେଡି ନେତାଙ୍କୁ କହିଥିଲେ ଶ୍ରୀ ପାଣ୍ଡିଆନ୍‌ଙ୍କର ପ୍ରଶାସନିକ କ୍ଷେତ୍ରରେ ଯେଉଁ ଅଭିଜ୍ଞତା ରହିଛି ତାହା ସେ ଦଳ ପାଇଁ ଓ ରାଜ୍ୟର ବିକାଶରେ ଉପଯୋଗ କରିବେ। ଶ୍ରୀ ପାଣ୍ଡିଆନ୍‌ ବିଜେଡି ଲାଗି ଏକ ଆସେଟ୍ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିବା ସେ ପ୍ରକାଶ କରିଛନ୍ତି। ଏହି ମିଶ୍ରଣ ବେଳେ ଦଳର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ମିଶ୍ର, ସଞ୍ଜୟ ଦାସବର୍ମା, ଅରୁଣ ସାହୁ, ପ୍ରତାପ ଦେବ, ସ୍ନେହାଙ୍ଗିନୀ ଛୁରିଆ, ଉଷା ଦେବୀ, ବାସନ୍ତୀ ହେମ୍ବ୍ରମ, ମାନସ ମଙ୍ଗରାଜ, ସମୀର ଦାଶ ଓ କଳିକେଶ ସିଂହଦେଓ ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଗତ ଅକ୍ଟୋବର ୨୩ ତାରିଖରେ ସରକାରୀ ଚାକିରିରୁ ସ୍ଵେଚ୍ଛାକୃତ ଅବସର ନେବା ପରେ ଭି.କେ ପାଣ୍ଡିଆନଙ୍କୁ ମିଳିଥିଲା ନୂଆ ନିଯୁକ୍ତି। ଏବେ ସେ ‘୫-ଟି’ ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ଭାବେ ଦାୟିତ୍ଵ ତୁଲାଉଛନ୍ତି। ଶ୍ରୀ ପାଣ୍ଡିଆନ୍‌ ଆଇଏଏସ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେଲା ପରେ ୨୦୦୦ ସେପ୍ଟେମ୍ବର ୭ରୁ ୨୦୨୨ ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ତାଲିମ ନେଇଥିଲେ। ତାଲିମ ଶେଷ ହେଲା ପରେ ସେ ପ୍ରଥମେ କଳାହାଣ୍ଡିର ଧର୍ମଗଡ଼ରେ ଉପଜିଲ୍ଲାପାଳ ପଦବିରେ ନିଯୁକ୍ତ ହୋଇଥିଲେ। ସେ କଳାହାଣ୍ଡିରେ ୨୦୦୨ ଅଗଷ୍ଟ ୧ରୁ ୨୦୦୪ ଫେବ୍ରୁଆରି ୨୯ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ୨୦୦୪ ମାର୍ଚ୍ଚ ୧ରୁ ଜୁନ୍‌ ୩୦ ଯାଏ ଓଡ଼ିଶା ନିର୍ବାଚନ ବିଭାଗରେ ଉପ ମୁଖ୍ୟ ନିର୍ବାଚନ ଅଧିକାରୀ ଥିଲେ। ୨୦୦୪ ଜୁଲାଇ ୧ରୁ ୨୦୦୫ ଏପ୍ରିଲ ୩୦ ଯାଏଁ ରାଉରକେଲାର ଅତିରିକ୍ତ ଜିଲ୍ଲାପାଳ କାର୍ଯ୍ୟ ତୁଲାଇଥିଲେ।

ସେହିପରି ଶ୍ରୀ ପାଣ୍ଡିଆନଙ୍କୁ ୨୦୦୫ ମେ’ ୧ରୁ ୨୦୦୭ ଏପ୍ରିଲ ୮ ଯାଏଁ ମୟୂରଭଂଜ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଥିଲା। ଏହାପରେ ସେ ଗଂଜାମ ଜିଲ୍ଲାପାଳ ଭାବେ ୨୦୦୯ ଜାନୁଆରି ୧ ତାରିଖ ପର୍ଯ୍ୟନ୍ତ କାମ କରିଥିଲେ। ଏହି ସମୟରେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସଂସ୍ପର୍ଶରେ ଆସିବା ପରେ ୨୦୧୧ ମେ ମାସରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଅବସ୍ଥାପିତ ହୋଇଥିଲେ। ଏହି ପଦବିରେ ଥିବା ସମୟରେ ତାଙ୍କର କ୍ଷମତା କ୍ରମଶଃ ବୃଦ୍ଧି ହୋଇଥିଲା ଓ କାର୍ଯ୍ୟ ପରିସର ବ୍ୟାପକ ହୋଇଥିଲା। ୨୦୧୯ ସାଧାରଣ ନିର୍ବାଚନ ସମୟରେ ସେ ପରୋକ୍ଷ ଭାବେ ଦଳର ଅଧିକାଂଶ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାରେ ସାମିଲ୍‌ ଥିଲେ। ଦଳ କ୍ଷମତାକୁ ଆସିବା ପରେ ‌ତାଙ୍କୁ ୫-ଟି ସଚିବ ଭାବେ ମୁଖ୍ୟମନ୍ତ୍ରୀ ନିଯୁକ୍ତ କରିଥିଲେ।

Leave a Reply

Your email address will not be published. Required fields are marked *

Back to top button