ଡ୍ୟୁଟି ସମୟରେ ମୃତ୍ୟୁବରଣ କରୁଥିବା କୋଭିଡ ଯୋଦ୍ଧାଙ୍କ ପରିବାରକୁ ମିଳିବ ୫୦ ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ଵର : କୋଭିଡ ଡ୍ୟୁଟିରେ ମୃତ୍ୟୁବରଣ କରୁଥିବା କୋଭିଡ ଯୋଦ୍ଧାଙ୍କ ନିକଟତମ ଆତ୍ମୀୟମାନଙ୍କୁ ୫୦ ଲକ୍ଷ ଟଙ୍କା ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହି ସହାୟତା କୋଭିଡ ଯୁଦ୍ଧରେ ନିୟୋଜିତ କର୍ମଚାରୀ ଓ ଜନପ୍ରତିନିଧି(ସରପଞ୍ଚ ଓ ଅନ୍ୟ ପ୍ରତିନିଧି)ଙ୍କ ନିକଟତମ ଆତ୍ମୀୟମାନେ ପାଇପାରିବେ। ଆଜି ରାଜ୍ୟର କୋଭିଡ-୧୯ ପରିସ୍ଥିତି ସଂପର୍କରେ ସମୀକ୍ଷା କରି ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ମଙ୍ଗଳବାର ମୁଖ୍ୟମନ୍ତ୍ରୀ କରିଥିବା ଘୋଷଣା ଅନୁଯାୟୀ କୋଭିଡ-୧୯ ଡ୍ୟୁଟି ସମୟରେ ମୃତ୍ୟୁବରଣ କରୁଥିବା ଅଙ୍ଗନବାଡି ଓ ଆଶାକର୍ମୀଙ୍କ ନିକଟତମ ଆତ୍ମୀୟମାନେ ଯଥାକ୍ରମେ ମାସିକ ୭୫୦୦ ଟଙ୍କା ଓ ୫୦୦୦ ଟଙ୍କା ଲେଖାଏ ସହାୟତା ପାଇବେ। ମୃତ ଅଙ୍ଗନବାଡି ଓ ଆଶାକର୍ମୀମାନେ ବଞ୍ଚିଥିଲେ ସେମାନଙ୍କୁ ଯେବେ ୬୦ ବର୍ଷ ହୋଇଥାନ୍ତା, ସେପର୍ଯ୍ୟନ୍ତ ଏହି ସହାୟତା ସେମାନଙ୍କ ପରିବାରବର୍ଗଙ୍କୁ ଦିଆଯିବ। ଏଭଳି ଦୁଃଖଦ ଘଟଣା କ୍ଷେତ୍ରରେ ଯୋଦ୍ଧା ମାନଙ୍କ ପରିବାର ଯେପରି ଅବିଳମ୍ବେ ସହାୟତା ରାଶି ପାଇପାରିବେ ସେଥିପାଇଁ ତ୍ଵରିତ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି ରାଜ୍ୟରେ ଅଣ-କୋଭିଡ ରୋଗୀମାନେ ବିଭିନ୍ନ ଡାକ୍ତରଖାନାରେ ଉପଯୁକ୍ତ ଚିକିତ୍ସା ପାଉ ନଥିବାର କେତେକ ଅଭିଯୋଗ ଆସୁଥିବାରୁ ସେମାନଙ୍କ ଚିକିତ୍ସାରେ ଯେପରି ସାମାନ୍ୟତମ ଅବହେଳା ନ ହୁଏ ସେଥିପ୍ରତି ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ରାଜ୍ୟରେ ଆମ୍ବୁଲାନ୍‌ସ ନେଟୱାର୍କକୁ ସୁଦୃଢ କରିବା ପାଇଁ ସେ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ରୋଗୀଙ୍କ ଜୀବନ ବଞ୍ଚାଇବା ଆମର ପ୍ରାଥମିକତା। ତେଣୁ ଆମର ସବୁ ପଦକ୍ଷେପ ଏହା ଉପରେ କେନ୍ଦ୍ରୀତ କରିବାକୁ ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ କୋଭିଡ ପରିଚାଳନାରେ ପ୍ରଶାସନର ଆଗୁଆ ପ୍ରସ୍ତୁତି ଏବଂ ବିଭିନ୍ନ ସ୍ଵାସ୍ଥ୍ୟ ଭିତ୍ତିଭୂମି ନିର୍ମାଣ  ଏହି ମହାମାରୀକୁ ନିୟନ୍ତ୍ରଣ କରିବାରେ ଫଳପ୍ରଦ ଭୂମିକା ଗ୍ରହଣ କରିଛି। ଗୁରୁତର ସ୍ବାସ୍ଥ୍ୟ ସମସ୍ୟା ନଥିବା ସ୍ଵଳ୍ପ ଓ ମଧ୍ୟମ ଲକ୍ଷଣଯୁକ୍ତ କୋଭିଡ ରୋଗୀ ମାନଙ୍କୁ ସେମାନଙ୍କ ଘରେ ରହି ଚିକିତ୍ସିତ ହେବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଉଭୟ ସହର ଓ ଗ୍ରାମାଞ୍ଚଳରେ ଲାଗୁ ହୋଇଛି। ଘରୋଇ ପରିବେଶରେ ରୋଗୀମାନେ ଶୀଘ୍ର ଆରୋଗ୍ୟ ଲାଭ କରିବା ସହିତ ଡାକ୍ତରଖାନା ଉପରେ ଚାପ ହ୍ରାସରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହାସହିତ ଘରେ ରହି ଚିକିତ୍ସିତ ହେଉଥିବା ରୋଗୀମାନଙ୍କୁ ଆବଶ୍ୟକ ଚିକିତ୍ସା ସହାୟତା ଯୋଗାଇ ଦେବା ଏବଂ ସେମାନଙ୍କ ସ୍ଵାସ୍ଥ୍ୟ ଅବସ୍ଥା ତଦାରଖ ଉପରେ ସ୍ଵବତନ୍ତ୍ର ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। କୋଭିଡରେ ମୃତ୍ୟୁବରଣ କରୁଥିବା ରୋଗୀ ମାନଙ୍କ ଶବସତ୍କାର ଏକ ସମ୍ବେଦନଶୀଳ ପ୍ରଶ୍ନ ହୋଇଥିବାରୁ, ଉଭୟ ଆବେଗିକ ଓ ଧାର୍ମିକ ବିଶ୍ଵାସକୁ ନେଇ ସମ୍ମାନଜନକ ଭାବରେ ଶବସଂସ୍କାର ପାଇଁ ସରକାରଙ୍କ ନୂତନ ନିର୍ଦ୍ଦେଶାବଳୀ ଉପରେ ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଲୋକପାତ କରିଥିଲେ ।

  ନାବାଳିକାକୁ ହାତଗୋଡ଼ ବାନ୍ଧି ଦୁଷ୍କର୍ମ

ବିଭିନ୍ନ ଡାକ୍ତରଖାନା ଓ କେୟାର ସେଣ୍ଟର ମାନଙ୍କରେ ଚିକିତ୍ସିତ ହେଉଥିବା ରୋଗୀମାନେ ଯେପରି ଗୁଣାତ୍ମକ ସେବା ପାଇପାରିବେ, ସେଥିପାଇଁ ସେମାନଙ୍କ ଠାରୁ ଫିଡବ୍ୟାକ୍ ସଂଗ୍ରହ କରି ତଦ୍‌ନୁଯାୟୀ ପଦକ୍ଷେପ ନେବାପାଇଁ ମୁଖ୍ୟମନ୍ତ୍ରୀ କୋଭିଡ ପର୍ଯ୍ୟବେକ୍ଷକ ଓ ବରିଷ୍ଠ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ ଏବଂ କୋଭିଡ ଲଭେଇ ଜିତିବା ପାଇଁ ଅଧିକ ପ୍ରତିବଦ୍ଧତାର ସହ କାର୍ଯ୍ୟ କରିବା ଉପରେ ଗୁରୁତ୍ବାରୋପ କରିଥିଲେ।

ଆଜି ଅନୁଗୁଳ, ଢେଙ୍କାନାଳ, ଦେବଗଡ, କେନ୍ଦୁଝର, ମୟୁରଭଂଜ, ବଲାଙ୍ଗୀର, ବରଗଡ ଓ ନୂଆପଡା ଆଦି ଜିଲ୍ଲାର ପରିସ୍ଥିତି ଓ କୋଭିଡ ପରିଚାଳନା ସଂପର୍କରେ ଜିଲ୍ଲାର ପର୍ଯ୍ୟବେକ୍ଷକ ମାନେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ। ଏହି ଜିଲ୍ଲା ଗୁଡିକରେ କୋଭିଡ ପରିଚାଳନାକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବା ପାଇଁ ପର୍ଯ୍ୟବେକ୍ଷକମାନେ କେତେକ ପ୍ରସ୍ତାବ ମଧ୍ୟ ରଖିଥିଲେ। ଏହି ପ୍ରସ୍ତାବ ଗୁଡିକୁ ଅନୁଧ୍ୟାନ କରିବାକୁ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

  ପଶ୍ଚିମବଙ୍ଗ ଜଳପାଇଗୁଡ଼ିରେ ଦୁର୍ଘଟଣା : ୧୩ ମୃତ

ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା,  ଉନ୍ନୟନ କମିଶନର, ସ୍ଵାସ୍ଥ୍ୟ ବିଭାଗର  ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫ଟି) ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ତଥା ଜିଲ୍ଲାସ୍ତରରେ ପର୍ଯ୍ୟବେକ୍ଷକମାନେ ଉପସ୍ଥିତ ଥିଲେ।

ମତାମତ ଦିଅନ୍ତୁ ।