ଲଘୁଚାପର ପ୍ରଭାବ : ୨୪ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର : କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଗାମୀ ୪୮ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଓ ପରବର୍ତ୍ତୀ ତିନିଦିନ ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ସତର୍କ ସୂଚନା ଜାରି ହୋଇଛି।

ମଙ୍ଗଳବାର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ୨୧ ତାରିଖ ମଧ୍ୟାହ୍ନ ସୁଦ୍ଧା ମାଲକାନଗିରି, କୋରାପୁଟ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ପୂର୍ବନୁମାନ କରାଯାଇଛି। ୨୨ ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଏବଂ ଗଞ୍ଜାମ ଓ ପୁରୀ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହାବ୍ୟତୀତ ୨୩ ତାରିଖରେ ଗଜପତି, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବଲେଶ୍ୱର ଓ ଯାଜପୁର ଜିଲ୍ଲାରେ ଅନୁରୂପ ବର୍ଷା ଏବଂ ୨୪ ତାରିଖରେ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା କୁହାଯାଇଛି।

ମତାମତ ଦିଅନ୍ତୁ ।