ସବୁ ଗାଁ’ର ବିକାଶ ଆମର ଲକ୍ଷ୍ୟ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ରାଜ୍ୟ ସରକାରଙ୍କର ମହତ୍ଵାକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଅଭିଯାନ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ଗାଁ ଓ ପଞ୍ଚାୟତ।

ଖବର ଅନୁଯାୟୀ ଆଜି ଭୁବନେଶ୍ଵରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ତୃତୀୟ ଦିନରେ ମୟୂରଭଂଜ, ବରଗଡ ଓ ଦେବଗଡ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା। ଏଥିପାଇଁ ମୟୂରଭଂଜ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୧୧ କୋଟି ୫୦ ଲକ୍ଷ ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ବଡସାହି, ବାଙ୍ଗିରୀପୋଷି, ବାରିପଦା, ମୋରଡା ଏବଂ ଉଦଳା। ଏହିସବୁ ନିର୍ବାଚନମଣ୍ଡଳୀର ୨୨୩ଟି ଗ୍ରାମ ପଞ୍ଚାୟତରେ ୩୦୮୧ ଟି ପ୍ରକଳ୍ପ ହେବ। ସେହିପରି ବରଗଡ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୨୬ କୋଟି ୫୦ ଲକ୍ଷ ଟଙ୍କା ମଂଜୁର ହୋଇଛି। ଏହିସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଲା- ଅତାବିରା, ବିଜେପୁର, ବରଗଡ, ପଦମପୁର ଓ ଭଟଲି। ଏଥିରେ ୨୫୩ଟି ଗ୍ରାମପଞ୍ଚାୟତରେ ୩୧୩୫ ଟି ପ୍ରକଳ୍ପ କରାଯିବ। ସେହିପରି ଦେବଗଡ ଜିଲ୍ଲାର ଗୋଟିଏ ନିର୍ବାଚନମଣ୍ଡଳୀ ପାଇଁ ୩୫ କୋଟି ଟଙ୍କା ଅନୁମୋଦନ କରାଯାଇଛି ଏବଂ ଏଥିରେ ୭୦ଟି ଗ୍ରାମପଞ୍ଚାୟତରେ ୯୯୧ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ।

ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ, ଓଡ଼ିଶାର ସଂସ୍କୃତିର ମୂଳଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡ଼ିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି। ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡ଼ିଶା ତାର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡ଼ିଶା ନବୀନ ଓଡ଼ିଶା ।
ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ବିକଶିତ ଗାଁ ହେବ ଆଧୁନିକ ଓଡ଼ିଶାର ପରିଚୟ। ଓଡ଼ିଶା ହେଉଛି ଜଗନ୍ନାଥଙ୍କ ଭୂମି। ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା। ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି। ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁ ରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁ ରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । ୱାର୍କ ହବ୍ ହେବ। ବ୍ୟାଙ୍କିଂ ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର ପ୍ରାଥମିକ ବିଦ୍ୟାଳୟଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡ଼ିଶାର ପରିଚୟକୁ ଆହୁରି ଉଜ୍ଜ୍ବଳ କରିବ। ଏହି ନୂଆ ଓଡ଼ିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡ଼ିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

ଆଜିର କାର୍ଯ୍ୟକ୍ରମ ପାଇଁ ମୟୂରଭଂଜ ଜିଲ୍ଲାର ୫ଟି, ବରଗଡ ଜିଲ୍ଲାର ୫ଟି ଓ ଦେବଗଡ ଜିଲ୍ଲାର ଗୋଟିଏ ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ୫-ଟି ସଚିବ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଥିଲେ।

Leave a Reply

Your email address will not be published. Required fields are marked *

Back to top button