୩ ଜିଲ୍ଲାରେ ଅତିପ୍ରବଳ ବର୍ଷିବ

ଭୁବନେଶ୍ଵର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବୁଧବାର ଅବପାତ ଓ ଗୁରୁବାର ଗଭୀର ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇପାରେ। ୧୬ ତାରିଖରେ ୩ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବ। ୧୭ ତାରିଖରେ ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

ଖବର ଅନୁଯାୟୀ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ସୃଷ୍ଟ ଘୂର୍ଣ୍ଣିବଳୟଟି ଆଜି ସକାଳେ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆଣ୍ଡମାନ ସାଗର ଅଞ୍ଚଳରେ ସକ୍ରିୟ ରହିଛି। ୧୫ ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚି ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଏହା ଅବପାତରେ ପରିଣତ ହେବା ପରେ ୧୬ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର ଉପକୂଳରେ ଗଭୀର ଅବପାତର ରୂପ ନେବ। ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଧୀରେ ଧୀରେ ଗତିପଥ ପରିବର୍ତ୍ତନ କରିବ ଓ ଏହା ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତିକରି ଉତ୍ତର ପଶ୍ଚିମ ବଙ୍ଗୋପସାଗର ମଧ୍ୟରେ ଓଡ଼ିଶା ଉପକୂଳ ମୁହାଁ ହେବ।

୧୫ ତାରିଖଦିନ ଏହାର ପ୍ରଭାବରେ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ୧୬ ତାରିଖରେ ୩ ଜିଲ୍ଲା- ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ପାର୍ଶ୍ୱବର୍ତ୍ତୀ ଜିଲ୍ଲା କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଯାଜପୁର, ବାଲେଶ୍ଵର ଓ ଢେଙ୍କାନାଳର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧୭ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣି ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button