୨୦ରୁ ରାଷ୍ଟ୍ରପତିଙ୍କ ତିନିଦିନିଆ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଗସ୍ତ

ନୂଆଦିଲ୍ଲୀ : ଆସନ୍ତା କାଲିଠାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନିଦିନିଆ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଗସ୍ତରେ ଆସୁଛନ୍ତି। ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ଜଣାପଡିଛି।

ଖବର ଅନୁଯାୟୀ ରାଷ୍ଟ୍ରପତି ସୋମବାର ବାରିପଦାଠାରେ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ୩୬ତମ ବାର୍ଷିକ ଉତ୍ସବ ଓ ସାହିତ୍ୟ ମହୋତ୍ସବକୁ ଉଦ୍‌ଘାଟନ କରିବେ। ମୟୂରଭଞ୍ଜ ଜିଲ୍ଲାର କୁଳିଅଣାଠାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ରାଷ୍ଟ୍ରପତି ଲୋକାର୍ପଣ କରିବେ। ମଙ୍ଗଳବାର ମୟୂରଭଞ୍ଜର ପାହାଡପୁରଠାରେ ଏକ ଦକ୍ଷତା ବିକାଶ କେନ୍ଦ୍ର ଉଦ୍‌ଘାଟନ କରିବା ସହିତ ବାଦାମପାହାଡ଼ ରେଳଷ୍ଟେସନରେ ତିନୋଟି ନୂଆ ଟ୍ରେନ୍‌ ଚଳାଚଳର ଶୁଭାରମ୍ଭ କରିବେ। ଏହି ଟ୍ରେନ୍‌ଗୁଡ଼ିକ ହେଲା ବାଦାମପାହାଡ଼- ଟାଟାନଗର ମେମୁ, ବାଦାମପାହାଡ଼-ରାଉରକେଲା ସାପ୍ତାହିକ ଏକ୍ସପ୍ରେସ ଓ ବାଦାମପାହାଡ଼-ଶାଲିମାର ସାପ୍ତାହିକ ଏକ୍ସପ୍ରେସ। ଏହାଛଡା ରାଷ୍ଟ୍ରପତି ନୂଆ ରାଇରଙ୍ଗପୁର ଡାକ ଡିଭିଜନ ଉଦ୍‌ଘାଟନ ସହିତ ରାଇରଙ୍ଗପୁର ଡାକ ଡିଭିଜନର ଏକ ସ୍ମାରକୀ ଲଫାପା ଜାରି କରିବେ। ଏଥିସହ ବାଦାମପାହାଡ଼ ରେଳଷ୍ଟେସନର ପୁନର୍ବିକାଶ ପାଇଁ ଶିଳାନ୍ୟାସ କରିବେ। ସେ ବାଦାମପାହାଡ଼-ଶାଲିମାର ଏକ୍ସପ୍ରେସରେ ବାଦାମପାହାଡ଼ ଠାରୁ ରାଇରଙ୍ଗପୁର ପର୍ଯ୍ୟନ୍ତ ଯାତ୍ରା କରିବେ। ମଙ୍ଗଳବାର ସନ୍ଧ୍ୟାରେ ରାଷ୍ଟ୍ରପତି ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ରସାଏ ବୈଷୟିକ ବିଶ୍ଵବିଦ୍ୟାଳୟର ୧୫ତମ ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିବେ।

ସେହିପରି ଆସନ୍ତା ୨୨ ତାରିଖରେ ରାଷ୍ଟ୍ରପତି ସମ୍ବଲପୁରଠାରେ ବ୍ରହ୍ମକୁମାରୀ ସଂସ୍ଥାଦ୍ଵାରା ଆୟୋଜିତ ଜାତୀୟ ଶିକ୍ଷା ଅଭିଯାନ-ନୂଆ ଭାରତ ପାଇଁ ନୂଆ ଶିକ୍ଷାକୁ ଶୁଭାରମ୍ଭ କରିବେ। ଏହାପରେ ପୁଟ୍ଟପତି ଗସ୍ତକରି ଶ୍ରୀ ସତ୍ୟ ସାଇ ଉଚ୍ଚଶିକ୍ଷା ପ୍ରତିଷ୍ଠାନର ୪୨ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Leave a Reply

Your email address will not be published. Required fields are marked *

Back to top button