ସ୍କୁଲର ପାଚିକା-ସହାୟିକାଙ୍କୁ ୧୧୭.୭୩ କୋଟିର ଆର୍ଥିକ ସହାୟତା ଓ ଶାଢ଼ି ପାଇଁ ୫.୪୫ କୋଟି ମଞ୍ଜୁରୀ

ଭୁବନେଶ୍ୱର : ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଦ୍ୟାଳୟ ଗୁଡିକରେ ନିୟୋଜିତ ପାଚିକା-ସହାୟିକାମାନଙ୍କ ପାଇଁ ୧୧୭.୭୩ କୋଟି ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର ସହତ ଶାଢ଼ି ପାଇଁ ଭତ୍ତା ପ୍ରଦାନ କରିଛନ୍ତି। ପ୍ରତ୍ୟେକ ପାଚିକା ଓ ସହାୟିକାଙ୍କୁ ୫୦୦ ଟଙ୍କା ଲେଖାଏ ଶାଢି ଭତ୍ତା ପ୍ରଦାନ କରାଯାଇଛି। ରାଜ୍ୟର ଏକ ଲକ୍ଷ ନଅ ହଜାର ପାଚିକାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୫.୪୫ କୋଟି ଟଙ୍କା ପ୍ରଦାନ କରାଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଉଦ୍‌ବୋଧନ ଦେଇ କହିଛନ୍ତି ପିଲାମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ତଥା ପୃଷ୍ଟି ନିରାପତ୍ତା ପାଇଁ ମଧ୍ୟାହ୍ନ ଭୋଜନର ଭୂମିକା ବହୁତ ଗୁରୁତ୍ୱପୂର୍ଣ୍ଣ। ପାଚିକା ଓ ସହାୟିକାମାନେ ଏହି ଗୁରୁ ଦାୟିତ୍ୱ ବହନ କରୁଛନ୍ତି। ୫୦ ହଜାରରୁ ଅଧିକ ସ୍କୁଲରେ ୪୫ ଲକ୍ଷରୁ ଅଧିକ ପିଲା ପଢୁଛନ୍ତି। ଆପଣମାନେ ମା’ ପରି ଏ ସବୁ ପିଲାମାନଙ୍କର ଖାଇବା ଦାୟିତ୍ୱ ନେଇଛନ୍ତି। ତେଣୁ ସାରା ସମାଜ ଆପଣମାନଙ୍କ ନିକଟରେ ଋଣୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

୪୭୩୦ ମିଶନ ଶକ୍ତି ଗୋଷ୍ଠୀଙ୍କ ଜରିଆରେ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଚାଲିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଅନ୍ୟାନ୍ୟ ସବୁ ଦାୟିତ୍ୱ ପରି ଏ ଦାୟିତ୍ୱ ମଧ୍ୟ ଆପଣମାନେ ଭଲ ଭାବରେ ପାଳନ କରୁଛନ୍ତି । ମିଶନ ଶକ୍ତିର ସୁନାମ ଦିନକୁ ଦିନ ବଢି ଚାଲିଛି ବୋଲି ମନ୍ତବ୍ୟ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତି ଜରିଆରେ ମା ମାନଙ୍କ ସଶକ୍ତିକରଣ ପାଇଁ ଉଦ୍ୟମ ଜାରି ରହିବ । ପାଚିକା ଓ ସହାୟିକାମାନଙ୍କୁ ଖାଦ୍ୟ ଓ ସ୍ୱଚ୍ଛତା ସମ୍ପର୍କରେ ତାଲିମ ଦିଆଯାଇଛି ବୋଲି ପ୍ରକାଶ କରି ସେମାନେ ମଧ୍ୟାହ୍ନ ଭୋଜନରେ ସ୍ୱଚ୍ଛତା ଓ ଖାଦ୍ୟ ସୁରକ୍ଷା ବଜାୟ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ବିଭାଗୀୟ ସଚିବ ଅଶ୍ୱଥି. ଏସ୍. ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *

Back to top button