ପଞ୍ଚଭୂତରେ ଲୀନ ହେଲା ମହାରଥୀଙ୍କ ପାର୍ଥିବ ଶରୀର

ପୁରୀ : ବରିଷ୍ଠ ବିଜେଡି ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀର ସ୍ଵର୍ଗଦ୍ଵାରରେ ସଂପନ୍ନ ହୋଇଛି। ପଞ୍ଚଭୂତରେ ଲୀନ ହୋଇଛି ପ୍ରଦୀପ ମହାରଥୀଙ୍କ ପାର୍ଥିବ ଶରୀର। ପୁତ୍ର ରୁଦ୍ର ପ୍ରତାପ ପିତାଙ୍କୁ ମୁଖାଗ୍ନି ଦେଇଛନ୍ତି।

ରବିବାର ପ୍ରଦୀପ ମହାରଥୀଙ୍କ ପାର୍ଥିବ ଶରୀରକୁ ଡାକ୍ତରଖାନାରୁ ପ୍ରଥମେ ବିଧାନସଭା ପରିସରକୁ ନିଆଯାଇଥିଲା। ବିଭିନ୍ନ ରାଜନୈତିକ ଦଳର ନେତା ଦିବଂଗତ ମହାରଥୀଙ୍କର ଶେଷ ଦର୍ଶନ କରିଥିଲେ। ଏହା ପରେ ବିଜେଡି ପାର୍ଟି ଅଫିସରେ ଦଳୀୟ କର୍ମୀ ଓ ନେତା ମହାରଥୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପରେ ପୈତୃକ ଗାଁକୁ ତାଙ୍କ ପାର୍ଥିବ ଶରୀରକୁ ନିଆଯାଇଥିଲା। ସେଠାରେ ଶେଷ ଦର୍ଶନ ପରେ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି।

ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମଧ୍ୟ ପ୍ରଦୀପ ମହାରଥୀଙ୍କ ନିଧନରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ମହାରଥୀଙ୍କ ବିୟୋଗ ରାଜ୍ୟ ରାଜନୀତିର ଅପୂରଣୀୟ କ୍ଷତି ବୋଲି କହିଛନ୍ତି ନିରଞ୍ଜନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ମଧ୍ୟ ତାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କର ଗତକାଲି ବିଳମ୍ବିତ ରାତିରେ ପରଲୋକ ଘଟିଛି। ଅସୁସ୍ଥତା ଯୋଗୁଁ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଗତକାଲି ସ୍ଵାସ୍ଥ୍ୟାବସ୍ଥା ହଠାତ ଗୁରୁତର ହୋଇପଡ଼ିବାରୁ ଭେଣ୍ଟିଲେଟର ସହାୟତାରେ ତାଙ୍କର ଚିକିତ୍ସା ଜାରି ରହିଥିଲା। ମାତ୍ର ଡାକ୍ତରମାନଙ୍କ ସବୁ ପ୍ରଚେଷ୍ଟା ସତ୍ତ୍ୱେ ମହାରଥୀଙ୍କର ମୃତ୍ୟୁ ହୋଇଥିଲା। ତାଙ୍କ ନିକଟରେ ପତ୍ନୀ ପ୍ରତିଭା ମହାରଥୀ, ପୁତ୍ର ରୁଦ୍ରପ୍ରତାପ ଓ ଝିଅ ପଲ୍ଲବୀଙ୍କ ସମେତ ପରିବାରର ଅନ୍ୟ ସଦସ୍ୟ ଉପସ୍ଥିତ ଥିଲେ।

ମତାମତ ଦିଅନ୍ତୁ ।