ପର୍ବପର୍ବାଣୀ ସମୟରେ ଆମର ଦାୟିତ୍ୱପୂର୍ଣ୍ଣ ବ୍ୟବହାର ତୃତୀୟ ଲହରକୁ ନିୟନ୍ତ୍ରଣ କରିବାରେ ନିର୍ଣ୍ଣାୟକ ହେବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡ ପରିସ୍ଥିତ ସଂପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସେ କହିଥିଲେ ଆମେରିକା ଠାରୁ ଆରମ୍ଭ କରି କେରଳ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ କରୋନା ସଂକ୍ରମଣ ବଢିବା ଚିନ୍ତାଜନକ ହୋଇଛି । ଏହି ପରିସ୍ଥିତିରେ ଆମକୁ ସମ୍ଭାବ୍ୟ ତୃତୀୟ ଲହର ଠାରୁ ନିରାପଦ ରହିବାକୁ ହେଲେ କୋଭିଡ ନିୟମକୁ କଡାକଡି ପାଳନ କରିବାକୁ ହେବ। ଏଥିରେ ସାମାନ୍ୟ ଅବହେଳା ସମସ୍ତଙ୍କ ପାଇଁ ବିପଦର କାରଣ ହୋଇପାରେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଛନ୍ତି କୋଭିଡ ଆଚରଣବିଧି ହେଉଛି କୋଭିଡ ବିରୁଦ୍ଧରେ ଲଢିବା ପାଇଁ ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର। ଏହାର ଉପଯୁକ୍ତ ପାଳନ ସମସ୍ତଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ପିଲାମାନେ ଏପର୍ଯ୍ୟନ୍ତ ଟିକା ନେଇନାହାନ୍ତି। ତେଣୁ ସେମାନଙ୍କ ପାଇଁ ଆମକୁ ଅଧିକ ସତର୍କ ରହିବାକୁ ହେବ। କୋଭିଡ ନିୟମ ପାଳନରେ ଅବହେଳା ଯଦି ଦୃଷ୍ଟିକୁ ଆସେ ତେବେ ଅନୁଷ୍ଠାନର ମୁଖ୍ୟ ଦାୟୀ ରହିବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି। ପ୍ରଶାସନ ଏଥିପାଇଁ ସ୍ଵତନ୍ତ୍ର ଚିମ୍‌ ଗଠନ କରି ଶିକ୍ଷାନୁଷ୍ଠାନ ଗୁଡିକ ନିୟମିତ ଭାବରେ ଅଚାନକ ଯାଞ୍ଚ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି ହାଟ ବଜାର, ଧର୍ମାନୁଷ୍ଠାନ, ସ୍ୱାସ୍ଥ୍ୟ ପ୍ରତିଷ୍ଠାନ ଆଦି ଗୁଡିକ ଉପରେ ସତର୍କ ଦୃଷ୍ଟି ରଖିବା ସହିତ ସେଠାରେ କୋଭିଡ ନିୟମ କଡାକଡି ପାଳନ ଉପରେ ପ୍ରଶାସନ ଦୃଷ୍ଟି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ବେଳେ ସ୍ୱାସ୍ଥ୍ୟକର୍ମୀ, ସ୍କୁଲ ଯାଉଥିବା ପିଲା, ଗର୍ଭବତୀ ମହିଳା, ସରକାରୀ କର୍ମଚାରୀ ଓ ପୋଲିସ ନିୟମିତ ଭାବରେ ଟେଷ୍ଟିଂ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଏବେ କେତେକ କ୍ଷେତ୍ରରେ ସ୍ବାସ୍ଥ୍ୟକର୍ମୀଙ୍କ ଭିତରେ ସଂକ୍ରମଣ ନଜରକୁ ଆସୁଛି । ତେଣୁ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ସ୍ବାସ୍ଥ୍ୟକର୍ମୀ ଓ ନମୂନା ସଂଗ୍ରହ କରୁଥିବା ଟିମ୍‌ ମାନଙ୍କୁ କୋଭିଡ ନିୟମ ସଂପର୍କରେ ବାରମ୍ବାର ସଚେତନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାସହିତ ଡେଲ୍‌ଟା ଭାରିଏଣ୍ଟ ଅଧିକ ସଂକ୍ରମଣ କରୁଥିବାରୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ କରି ନିରନ୍ତର ଦୃଷ୍ଟି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଯୋଗାଣରେ ବୃଦ୍ଧି ଘଟିଥିବାରୁ ଟିକାକରଣରେ ମଧ୍ୟ ଉନ୍ନତି ଆସିଛି । ତେଣୁ ଯେପରି ସବୁ ଲୋକ ତାଙ୍କର ଦୁଇଟି ଯାକ ଡୋଜ ନିଶ୍ଚିତ ନେବେ, ତାହା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗକୁ ପାର୍ବଣ ଋତୁ ଆସୁଛି । କେରଳରେ ଓନାମ୍‌ ପର୍ବ ପାଳନ ପରେ ପରେ ସଂକ୍ରମଣ ବୃଦ୍ଧିର ଉଦାହରଣ ଦେଇ ପାର୍ବଣ ସମୟରେ ସମସ୍ତଙ୍କୁ ଅଧିକ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ପରିସ୍ଥିତିର ଗୁରୁତ୍ବକୁ ଉପଲବ୍‌ଧି କରିବା ପାଇଁ ସମସ୍ତଙ୍କୁ ନିବେଦନ କରିଥିଲେ । ଏହାଦ୍ବାରା ଆମେ ଭବିଷ୍ୟତରେ ଲକ୍‌ଡାଉନକୁ ଏଡାଇ ପାରିବା ଏବଂ ଲୋକଙ୍କ ଆର୍ଥିକ ଅବସ୍ଥାରେ କ୍ଷତି ହେବ ନାହିଁ ।

ପାର୍ବଣ ଋତୁ ସମୟରେ ଆମର ଦାୟିତ୍ବପୂର୍ଣ୍ଣ ବ୍ୟବହାର ହିଁ ତୃତୀୟ ଲହରକୁ ନିୟନ୍ତ୍ରଣ କରିବା ପାଇଁ ନିର୍ଣ୍ଣାୟକ ହେବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ମାସ୍କ ପିନ୍ଧିବା, ହାତ ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ଭିଡକୁ ନ ଯିବା ପାଇଁ ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସାଧାରଣ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଲକ୍ଡାଉନ କୋହଳ କରାଯାଇଛି। କିନ୍ତୁ ତାର ଅର୍ଥ ନୁହେଁ ଯେ ଆମେ ନିୟମ ପାଳନରେ ଢିଲା କରିବା । ତେଣୁ ଯଦି ଆବଶ୍ୟକ ପଡେ, ସାମୁହିକ ସ୍ବାର୍ଥ ଦୃଷ୍ଟିରୁ ରାଜ୍ୟ ସରକାର ପୁଣି ଥରେ ଲକ୍ଡାଉନ ପାଇଁ ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଦେଇଥିଲେ ।

ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶର ଅନୁପାଳନ ଉପରେ ଗୁରୁତ୍ବ ଦେଇଥିଲେ । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପିକେ ମହାପାତ୍ର ଓ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ବିଭାଗୀୟ କାର୍ଯ୍ୟକ୍ରମ ଉପରେ ଉପସ୍ଥାପନା ରଖିଥିଲେ । ପୁଲିସ ମହାନିର୍ଦ୍ଦେଶକ ଅଭୟ ମଧ୍ୟ କୋଭିଡ ନିୟମ ଅନୁପାଳନ ଉପରେ ପୁଲିସର ପଦକ୍ଷେପ ଉପରେ ସୂଚନା ଦେଇଥିଲେ। ବି.ଏମ୍‌.ସି ଏବଂ ସି.ଏମ୍‌.ସିର କମିସନର, ଦେବଗଡ ଓ ପୁରୀର ଜିଲ୍ଲାପାଳମାନେ ସେମାନଙ୍କ ଅଞ୍ଚଳର ପରିସ୍ଥିତି ଉପରେ ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଭିକେ ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ । ଉନ୍ନୟନ କମିସନର ଓ ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *

Back to top button